୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୬୧ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ techguruodia


ଭୁବନେଶ୍ବର ୨୦।୧: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ମୟୁରଭଞ୍ଜ ଜିଲ୍ଲାର ୧୦୫ଟି ହାଇସ୍କୁଲ, ସମ୍ବଲପୁରର ୬୩ଟି,   ନୂଆପଡାର ୩୩ଟି, ରାୟଗଡର ୬୦ଟି  ଓ ବଲାଙ୍ଗିର ୧୦୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି  ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ  ଜାତିରେ  ନୂଆ  ଜାଗରଣ ର  ମାର୍ଗ  ପ୍ରଶସ୍ତ  କରିଛି  ବୋଲି  ସେ  କହିଥିଲେ ।  ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ।  ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।  ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ  5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ  ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ ।

You Can Read :

The post ୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୬୧ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ appeared first on Prameya News7.



Leave a Comment